ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ୱାରା ଜଗତସିଂହପୁର ଜିଲ୍ଲାରେ ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ

 ଜଗତସିଂହପୁର,୧୯/୧୨/୨୦୨୩ (ଓଡ଼ିଶା ସମାଚାର)- ଆଜି ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ସମ୍ମୁଖରେ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଜିଲ୍ଲା ପ୍ରଶାସନ, ଜଗତସିଂହପୁର ସହଯୋଗରେ ଏକାଡେମୀ ଦ୍ଵାରା ସଂଗୃହିତ ଚିତ୍ରକଳାଗୁଡିକୁ ନେଇ ଏକ ଭ୍ରାମ୍ୟମାଣ ପ୍ରଦର୍ଶନୀର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟରେ ଚିତ୍ରକଳାର ବହୁଳ ପ୍ରଚାର ଓ ପ୍ରସାର ନିମନ୍ତେ ଉଦ୍ଦିଷ୍ଟ ଏହି ପ୍ରଦର୍ଶନୀକୁ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟାୱରି ଉଦଘାଟନ କରିଛନ୍ତି । ଓଡ଼ିଶା ଲଳିତ କଳାର ବହୁଳ ପ୍ରଚାର ଓ ପ୍ରସାର ପାଇଁ ତଥା ଶିଳ୍ପୀମାନଙ୍କର କଳାକୃତି ଯେପରି ରାଜ୍ୟର ଜନସାଧାରଣ ଅନ୍ୟ ଶିଳ୍ପୀ ତଥା ଛାତ୍ର/ ଛାତ୍ରୀମାନେ  ଦେଖିବାର ସୁଯୋଗ ପାଇ ପାରିବେ ଏବଂ ଓଡ଼ିଶାର ସବୁ ଜିଲ୍ଲାରେ ଚିତ୍ରକଳାର ପ୍ରଚାର ଓ ପ୍ରସାର କିପରି ଅଧିକ ହୋଇପାରିବ ସେଥିପାଇଁ ଏକାଡେମୀ ତରଫରୁ ଏହି ପ୍ରୟାସ କରାଯାଉଛି । ଉକ୍ତ ପ୍ରଦର୍ଶନୀରେ ଓଡ଼ିଶାର ଖ୍ୟାତନାମା ଦିବଙ୍ଗତ ଓ ବରିଷ୍ଠ ଚିତ୍ରଶିଳ୍ପୀ ବିମ୍ବାଧର ବର୍ମା, ବସନ୍ତ ପଣ୍ଡା, ଅନନ୍ତ ପଣ୍ଡା, ଯତୀନ ଦାସ, ଅଜିତ କେଶରୀ ରାୟ, ବିଭୁତି କାନୁନଗୋ ଓ ରବିନାରାୟଣ ନାୟକ ପ୍ରମୁଖଙ୍କ ସହ ବହୁ ଯୁବ ଚିତ୍ରଶିଳ୍ପୀଙ୍କ ମୋଟ ୪୦ ଟି ଚିତ୍ରକଳା ସ୍ଥାନ ପାଇଛି । ଉକ୍ତ ପ୍ରଦର୍ଶନୀ ଆସନ୍ତା 21ଡିସେମ୍ବର ପର୍ଯ୍ୟନ୍ତ ପ୍ରତ୍ୟେହ ଦିନ ୧୧ ଘଟିକାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ । ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ପ୍ରଦର୍ଶନୀ ଅବସରରେ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀମତୀ ବିଶ୍ଵ ବିଜୟିନୀ ପଟ୍ଟନାୟକ,ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲାର ବହୁ ଶିଳ୍ପୀ,କଳାପ୍ରେମୀ ଓ ଛାତ୍ରଛାତ୍ରୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *